Home / ସଂସ୍କୃତି ଓ ପରମ୍ପରା / ଶ୍ରୀଜଗନ୍ନାଥ ଙ୍କ ତ୍ରିବିକ୍ରମ ବେଶ

ଶ୍ରୀଜଗନ୍ନାଥ ଙ୍କ ତ୍ରିବିକ୍ରମ ବେଶ

whatsapp image 2022 11 06 at 3.54.57 pm

କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି ଦିନ ଆଜିର ଦିନରେ ଶ୍ରୀମନ୍ଦିରରେ ଠାକୁରମାନଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ଉକ୍ତଦିନ ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି ।


ଆଡ଼କିଆ ବେଶରେ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ । ଚୂଳ ଦୁଇଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ । ଏହି ଚୂଳରେ ସ୍ଵର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ । ସୁଭଦ୍ରା ଓ ଅନ୍ୟ ଦୁଇ ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ଵର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ । ଏଥି ସହିତ ପୂର୍ବ ଦିନ ପରି ଅନ୍ୟାନ୍ୟ ସ୍ଵର୍ଣ୍ଣ ଅଳଙ୍କାର ଓ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ଠାକୁରମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ । କଥିତ ଅଛି ତ୍ରିବିକ୍ରମ ବା ଆଡକିଆ ବେଶ ଅତିବଡୀ ସମ୍ପ୍ରଦାୟର ଅତ୍ୟନ୍ତ ପ୍ରିୟ ଅଟେ।

ପଞ୍ଚସଖାବାଦୀ ତଥା ଅତିବଡୀ ସମ୍ପ୍ରଦାୟର ବହୁ ସଂଖ୍ୟକ ଶିଷ୍ୟ -ଭକ୍ତ ତଥା ମହନ୍ତମାନେ ଏହି ମନୋରମ ବେଶ ଦର୍ଶନକରି ନିଜକୁ ସୌଭାଗ୍ୟ ମଣିଥାନ୍ତି ।
ଆଡ଼କିଆ ବା ଠିଆକିଆ ବେଶ ମଧ୍ୟରେ ପ୍ରଭେଦ ଏହି କି ଯେ , ଠିଆକିଆ ବେଶରେ ସୁନାକିଆ ଲମ୍ବ ଭାବରେ ଖୋସା ନଯାଇ ଆଡ଼ବାଗରେ ଖୋସା ଯାଏ ଏବଂ ଡାଳିକିଆ ବେଶରେ ସୋଲର ଡାଳପତ୍ରରେ ସୁନାର କିଆପତ୍ର ଖଞ୍ଜାଯାଏ । ଏହି ସୁନାକିଆ ଗୁଡିକ ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ରଙ୍କ ମସ୍ତକରେ ପିନ୍ଧାଯାଇଥିବା ସୋଲ, କନା, ବେତ , ଜମ୍ବୁରା, କଇଁଥ ଅଠାରେ ନିର୍ମିତ ଚୂଳରେ ଖୋସାଯାଏ । ଚୂଳର ଶେଷରେ ଲଗାଯାଏ ସୁନାର ଚନ୍ଦ୍ରିକା । ସୁଭଦ୍ରାଙ୍କୁ ମଧ୍ୟ ଏହି ବେଶରେ ଗୋଟିଏ ସୁନା ଚନ୍ଦ୍ରିକାଦ୍ଵାରା ଶୋଭିତ କରାଯାଏ । ମାତ୍ର ତାଙ୍କ ମସ୍ତକରେ ଚୂଳ ଲାଗି କରା ନଯାଇ ସୁନା କିରୀଟ ଲଗାଯାଏ । ସବୁ ଠାକୁରମାନଙ୍କର ମୂଖର ଉପର ପାର୍ଶ୍ଵରେ ଦୁଇଟି ଲେଖାଏଁ କାଡ଼କାନି ଲଗାଯାଇଥାଏ । ଏହି ବେଶରେ ଘାଗଡା ମାଳି , ବରକୋଳି ମାଳି , ପଦ୍ମମାଳି,ଗିନିମାଳି, ପଦକ ମାଳି ପିନ୍ଧାଯାଏ । ଏହା ବ୍ୟତୀତ ମହାପ୍ରଭୁଙ୍କୁ ଅନ୍ୟାନ୍ୟ ଅଳଙ୍କାର ମାଳି, ଶ୍ରୀପୟର, ଶ୍ରୀହସ୍ତ ଏବଂ ଆୟୁଧ ମଧ୍ୟ ଲାଗି କରାଯାଏ।

SPREAD YOUR LOVE WITH YOUR FRIENDS AND FAMILY

Leave a Reply