Home / ମୁଖ୍ୟ ଖବର / ପୁରପଲ୍ଲୀ ରେ ମା ମଙ୍ଗଳା ଙ୍କ ଖୁଦୁରୁକୁଣୀ ଓଷା ମହାଆଡମ୍ବରରେ ଆରମ୍ଭ l

ପୁରପଲ୍ଲୀ ରେ ମା ମଙ୍ଗଳା ଙ୍କ ଖୁଦୁରୁକୁଣୀ ଓଷା ମହାଆଡମ୍ବରରେ ଆରମ୍ଭ l

khudurukuni

କାକଟପୁର, ୧୦/୮/୨୦୨୫ ( ତୁଷାର ଦୀକ୍ଷିତ ) ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣୀଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।ଏହା ଭାଦ୍ରବ ମାସର ରବିବାରରେ ପଡ଼ିଥାଏ । ଏହି ଦିନ ସକାଳୁ କୁଆଁରୀ ଝିଅମାନେ ନଈ କିମ୍ବା ପୋଖରୀ ତୁଠ ରେ ସାରୁଗଛ, ବାଉଁଶ ପତ୍ର, ଆଦି ଡାଳ ପୋତି ମାଟି ରେ ଭାଲକୁଣ୍ଡି ତିଆରି କରି ବାଲୁକା ପୂଜା କରିବା ପରେ ସଞ୍ଜ ସମୟରେ ଖୁଦୁରୁକୁଣୀ ଠାକୁରାଣୀଙ୍କୁ ଖୁଦ ଭଜା, ଲିଆ, ଉଖୁଡ଼ା, କଣ୍ଟିଆଳି କାକୁଡ଼ି ଆଦି ଭୋଗ ଭାବରେ ଅର୍ପଣ କରିଥାନ୍ତି । ତେବେ ଖୁଦଭଜା ଠାକୁରାଣିଙ୍କର ସବୁଠୁ ପ୍ରିୟ ବୋଲି ମନେ କରାଯାଇଥାଏ ଓ ତାହାଙ୍କୁ “ଖୁଦରଙ୍କୁଣି” ବା ଖୁଦ ପାଇଁ ବାଇ ବୋଲି ଶ୍ରଦ୍ଧାରେ କୁହାଯାଇଥାଏ ଯାହା ପାଇଁ ତାହାଙ୍କର ନାମ ଖୁଦୁରୁକୁଣୀ ହୋଇଛି । ଝିଅମାନେ ଗାଧୋଇ ପାଧୋଇ କନିଅର, ଚମ୍ପା, ଗୋଡ଼ିବବାଣ, ମାଳତୀ, ମନ୍ଦାର ଓ କଇଁ ଆଦି ଫୁଲ ତୋଳି ମାଟିରେ ବା ବାଲିରେ ଛୋଟ ଛୋଟ ଦେଉଳ ତୋଳି ତାହାକୁ ଫୁଲରେ ସଜାଇଥାନ୍ତି ଓ ସେଥିରେ ଠାକୁରାଣିଙ୍କୁ ଅଧିଷ୍ଠିତ କରାଇ ପୂଜା କରିଥାନ୍ତି l ଏହା ପରେ ସେମାନେ ଫୁଲ ମାଳ କରି ଠାକୁରାଣୀଙ୍କୁ ସଜାଇଥାନ୍ତି । ଗାଁମାନଙ୍କରେ ଖୁଦୁରୁକୁଣୀଙ୍କୁ ଢିଙ୍କିଶାଳରେ ପୂଜା କରାଯାଇଥାଏ । ଏହି ଜାଗାଟିକୁ ଗୋବରରେ ଲିପା ପୋଛା କରି ସେଠାରେ ଦେବୀଙ୍କୁ ଅଧିଷ୍ଠିତ କରାଯାଇଥାଏ । ଏଥିରେ ରଙ୍ଗବେରଙ୍ଗର ମୁରୁଜରେ ଝୋଟି ଚିତା ପକାଯାଇଥାଏ । ଫୁଲରେ ତୋରଣ ସବୁ ତିଆରି କରାଯାଇଥାଏ । ଦିନ ସାରା ଏହି ସଜାଣିରେ ସମୟ ବିତିବା ପରେ ସଞ୍ଜବେଳରେ ପୂଜା ଆରମ୍ଭ ହୋଇଥାଏ l ଏଥିରେ ଝିଅମାନେ ତଅପୋଇ ଗୀତ ଗାଇଥାନ୍ତି । ପିଢ଼ି ପରେ ପିଢ଼ି ଏହି ଗୀତ ଲୋକ ସାହିତ୍ୟ ଭାବରେ ଲୋକମୁଖରେ ଆଜି ଯାଏଁ ଚଳିଆସୁଅଛି ଏହି ଖୁଦୁରୁକୁଣୀ ଓଷା ଚାରିପାଲି ରବିବାର ପର୍ଯ୍ୟନ୍ତ ଚାଲି ଶେଷ ପାଳିରେ ଉଦଯାପିତ ହୋଇଥାଏ.

SPREAD YOUR LOVE WITH YOUR FRIENDS AND FAMILY

Leave a Reply